Home ଆମ ପର୍ବ ପର୍ବାଣୀ ମାର୍ଗଶିର ମାସର ମାଣବସା ଗୁରୁବାର

ମାର୍ଗଶିର ମାସର ମାଣବସା ଗୁରୁବାର

227

ଜଗତସିଂହପୁର୧୩ା୧୧(ଓଡିଆ ପୁଅ)
ଡଃ ସ୍ୱାମି ଚିଦାନନ୍ଦ
ମାଣବସା ଗୁରୁବାର ଓଷା ଓଡ଼ିଶାରେ ଏକ କୃଷିଭିତ୍ତିକ ପର୍ବ ରୂପେ ପାଳନ କରାଯାଏ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା ଅର୍ଚ୍ଚନା କରାଯାଏ । ମାର୍ଗଶିର ମାସରେ ଓଡ଼ିଆବାସୀଙ୍କ ଘରେ ଘରେ ଏହି ଓଷା ପାଳନ କରାଯାଇଥାଏ । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା “ଧାନବେଣୀ”ରେ ସଜାଯାଇଥାଏ ।ମାଣବସା ଗୁରୁବାରର କିମ୍ବଦନ୍ତୀ ବଳରାମ ଦାସଙ୍କ ଲକ୍ଷ୍ମୀ ପୁରାଣରେ ବଖଣା ଯାଇଛି । ଏହି ପୁରାଣ ଅନୁସାରେ ଦାସଦାସୀ ପରିବେଷ୍ଟିତ ଲକ୍ଷ୍ମୀ ଦିନେ ସ୍ୱାମୀଙ୍କ ଠାରୁ ମାଣବସା ଗୁରୁବାର ଅନୁମତି ନେଇ ଦେଶ ଭ୍ରମଣରେ ବାହାରିଥିଲେ । କିଏ ତାଙ୍କୁ ପୂଜୁଛି ତାହା ଜାଣିବା ନିମନ୍ତେ ସେ ଘର ଘର ବୁଲିଲେ । ଅନେକ ଧନୀ, ବଡ଼ ଲୋକ ସେଦିନ ଗୁରୁବାର ବୋଲି ଭୁଲି ଯାଇଥିବା ଦେଖିବା ପରେ ସେ ଶ୍ରୀୟା ନାମକ ଜଣେ ଚଣ୍ଡାଳୁଣୀ ଘରେ ପହଞ୍ଚିଥିଲେ । ଘରଦ୍ୱାର ପରିଷ୍କାର କରି ଲିପାପୋଛା କରି ଶ୍ରୀୟା ତାଙ୍କ ପୂଜା ପାଇଁ ଭୋଗ-ନୈବେଦ୍ୟ ଆଦି ସଜାଡ଼ି ରଖୁଥିଲା । ଲକ୍ଷ୍ମୀ ତାହାଙ୍କ ଭକ୍ତିରେ ମୁଗ୍ଧ ହୋଇ ସେଠାରେ ହିଁ ରହିଗଲେ ।ମା’ଲକ୍ଷ୍ମୀ ଚଣ୍ଡାଳ ଘରେ ପଦାର୍ପଣ କରିଥିଲେ ଏହା ଜାଣି ବଳରାମ କୋପ କଲେ । ସେତେବେଳର ସମାଜରେ ଅଛୁଆଁ ଭାବେ ଗଣା ଯାଉଥିବା ଚଣ୍ଡାଳୁଣୀର ଘରେ ପାଦ ଦେଇଥିବାରୁ ବଡ଼ଦେଉଳ ଦ୍ୱାର ଲକ୍ଷ୍ମୀଙ୍କ ପାଇଁ ବନ୍ଦ ହୋଇଥିଲା । ଅପମାନିତ ହୋଇ ସେ ଘରୁ ବାହାରି ଗଲେ । ଯିବା ବେଳେ ପଣ କଲେ କାଳିଆ-ବଳିଆ (ଜଗନ୍ନାଥ ବଳଭଦ୍ର) ଦୁଇ ଭାଇଙ୍କୁ ଉଚିତ ଶିକ୍ଷା ଦେବେ । ଲକ୍ଷ୍ମୀଙ୍କ ନିର୍ଦ୍ଦେଶରେ ସମୁଦ୍ର କୂଳରେ ଆଉ ଏକ ପ୍ରାସାଦ ଗଢ଼ା ହେଲା । ତାଳବେତାଳ ବଡ଼ଦେଉଳରୁ ସବୁ ଜିନିଷ ଲୁଟିନେଇ ତାହାକୁ ଶ୍ରୀହୀନ କରିଦେଲେ ଶ୍ରୀମନ୍ଦିରକୁ । ଖାଇବାକୁ ନପାଇ ଦୁଇଭାଇ ଭୋକରେ ଆଉଟୁ ପାଉଟୁ ହୋଇ ଶେଷରେ ସେହି ପ୍ରାସାଦ ସମ୍ମୁଖରେ ପହଞ୍ଚିଲେ । ପ୍ରାସାଦ ମାଲିକାଣୀଙ୍କ ଅତିଥି ସତ୍କାରରେ ବିମୁଗ୍ଧ ହୋଇ ସେମାନେ ପ୍ରାସାଦ ମାଲିକ/ମାଲିକାଣୀଙ୍କୁ ଲୋଡ଼ିଲେ । ଆଉ ପରିଚୟ ପାଇବା ପରେ ନିଜକୁ ଲଜ୍ଜିତ ମନେ କଲେ ଦୁଇ ଭାଇ ।ଶୁଚିଶୁଦ୍ଧ ଲୋକର ଦ୍ୱାରକୁ ଯିବାକୁ ବାରଣ ନାହିଁ କି ଛୁଆଁ ଅଛୁଆଁ ଭେଦଭାବ ରହିବ ନାହିଁ ବୋଲି ପ୍ରତିଶ୍ରୁତି ପାଇବା ପରେ ଲକ୍ଷ୍ମୀ ଶ୍ରୀମନ୍ଦିରକୁ ବାହୁଡ଼ିଥିଲେ । ଶିଶୁ ଅନନ୍ତ ଆଶ୍ରମ,ଅରିଲେ.ଜଗତସିଂହପୁର

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.