Home Top News ମୁଖ୍ୟମନ୍ତ୍ରୀଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀଙ୍କୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ : ବିଭିନ୍ନ...

ମୁଖ୍ୟମନ୍ତ୍ରୀଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀଙ୍କୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ : ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ

118

ପୁରୀ- ୦୭.୧୦ (ଓଡ଼ିଆ ପୁଅ) ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ବ୍ରହ୍ମଗିରି ଗସ୍ତ କରି ବିଜ୍ୟସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ହିତାଧିକାରୀମାନଙ୍କୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କରିବା ସହ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଜିଲ୍ଲାର ପ୍ରାୟ ୩ ଲକ୍ଷ ୬୪ ହଜାର ହିତାଧିକାରୀଙ୍କୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ ପ୍ରକ୍ରିୟା ଶୁଭାରମ୍ଭ କରିବା ସହ ପ୍ରାୟ ଏକ ହଜାର ୬ କୋଟି ୮୨ ଲକ୍ଷ ଟଙ୍କା ମୂଲ୍ୟ ପ୍ରକଳ୍ପର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମଞ୍ଚରେ ୫ ଜଣ ହିତାଧିକାରୀ କୁମାରୀ ପରିଡା, ରୁକିୟା ବିବି, ମମତା ତରେଇ, ରିଙ୍କି ସେଠୀ, ଲତା ପ୍ରଧାନଙ୍କୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କରିଥିଲେ। ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀ ମାନଙ୍କୁ ଉକ୍ତ ଯୋଜନାରେ ସାମିଲ କରାଯାଇଥିବା ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରତ୍ୟେକ ଜୀବନ ମୂଲ୍ୟବାନ ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି। କରୋନା ମହାମାରୀ ଦ୍ବିତୀୟ ଲହର ସମୟରେ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବାରେ ରାଜ୍ୟ ସଫଳ ହୋଇଛି। ପୁରୀ ସହରରେ ଡ୍ରିଙ୍କ ଫ୍ରମ ଟ୍ୟାପ ଯୋଜନା ଯାରି ରହିଛି ଯାହା ସମଗ୍ର ଦେଶରେ ପ୍ରଥମ। ଜନତାଙ୍କ ସହଭାଗିତାରେ ସମସ୍ତ ଯୋଜନା କାର୍ଯ୍ୟକାରୀ ହେଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସଚେତନତା ରଥକୁ ମୁଖ୍ୟମନ୍ତ୍ରୀ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଜିଲ୍ଲାରେ ଉକ୍ତ ରଥ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସଂପର୍କରେ ସଚେତନତା ସୃଷ୍ଟି କରିବ। ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଶ୍ରୀ ସଞ୍ଜୟ କୁମାର ଦାସବର୍ମା ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ସାତପଡା ଠାରୁ ମୋଟୋ ପର୍ଯ୍ୟନ୍ତ ସୁରକ୍ଷା ପ୍ରାଚୀର ନିର୍ମାଣ, ପାନୀୟ ଜଳ ପ୍ରକଳ୍ପ, ସାତପଡା- ଜହ୍ନିକୁଦା ସେତୁ ନିର୍ମାଣ ନିମନ୍ତେ ପଦକ୍ଷେପ ନେବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଶ୍ରୀ ବର୍ମା ଅନୁରୋଧ କରିଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ନବ କିଶୋର ଦାସ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ, ପୁରୀ ସାଂସଦ ଶ୍ରୀ ପିନାକୀ ମିଶ୍ର, ବ୍ରହ୍ମଗିରି ବିଧାୟକ ଶ୍ରୀ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ପ୍ରମୁଖ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। କ୍ରୀଡା ଓ ଯୁବ ବ୍ୟାପାର, ବିଜ୍ଞାନ ଓ କାରିଗରୀ, ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଧନ୍ୟବାଦ ପ୍ରଦାନ କରିଥିଲେ। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ଜିଲ୍ଲାର ସମସ୍ତ ବ୍ଲକରେ ପ୍ରସାରଣ କରାଯିବା ସହ ସମସ୍ତ ବ୍ଲକରେ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ କରାଯାଇଥିଲା। ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଜଗତସିଂପୁରର ସାଂସଦ ଶ୍ରୀମତୀ ରାଜଶ୍ରୀ ମଲ୍ଲିକ, ୫ ଟି ସଚିବ ଶ୍ରୀ ଭି.କେ. ପାଣ୍ତିଆନ, ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ଓ ଆରକ୍ଷୀ ଅଧିକ୍ଷକ ଡଃ କନୱାର ବିଶାଲ ସିଂ ପ୍ରମୁଖ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.