Home ଜାତୀୟ ‘ମୋ ସରକାର’ କାର୍ଯ୍ୟକ୍ରମରେ ସାମିଲ ହେଲା ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ...

‘ମୋ ସରକାର’ କାର୍ଯ୍ୟକ୍ରମରେ ସାମିଲ ହେଲା ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ : ହିତାଧିକାରୀଙ୍କ ସନ୍ତୋଷ ଯୋଜନାର ସବୁଠାରୁ ବଡ ସଫଳତା – ମୁଖ୍ୟମନ୍ତ୍ରୀ

464

ଭୁବନେଶ୍ୱର ୧୭.୧୨ (ଓଡ଼ିଆ ପୁଅ) ମୋ ସରକାର କାର୍ଯ୍ୟକ୍ରମରେ ସାମିଲ ହୋଇଛି ମହିଳା, ଶିଶୁବିକାଶ ଓ ମିଶନ ଶକ୍ତି ବିଭାଗ। ଏହି ବିଭାଗ ଦ୍ବାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ହିତାଧିକାରୀ ମାନଙ୍କ ସହିତ ସିଧାସଳଖ କଥା ହେବେ ସରକାର। ଆଜି ଲୋକସେବା ଭବନରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହିଳା, ଶିଶୁବିକାଶ ଓ ମିଶନ ଶକ୍ତି ବିଭାଗ ଅଧିନରେ ମା ଓ ଶିଶୁ ମାନଙ୍କ ପାଇଁ ଅନେକ ଗୁରୁତ୍ବପୂର୍ଣ୍ଣ କଲ୍ୟାଣ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରାଯାଉଛି। ଏହିସବୁ କାର୍ଯ୍ୟକ୍ରମର ସୁଫଳ ହିତାଧିକାରୀଙ୍କ ପାଖରେ ଠିକ୍ ଭାବରେ ପହଞ୍ଚିବା ସବୁଠାରୁ ଗୁରୁତ୍ବପୂର୍ଣ୍ଣ। ଶିଶୁ ମାନଙ୍କ ପୁଷ୍ଟି କାର୍ଯ୍ୟକ୍ରମର ସଫଳତା ସହିତ ମାତୃ ମୃତ୍ୟୁ ହାର ଓ ଶିଶୁ ମୃତ୍ୟୁ ହାର ହ୍ରାସ ଦିଗରେ ରାଜ୍ୟ ସରକାରଙ୍କ ସଫଳତାରେ ମହିଳା, ଶିଶୁବିକାଶ ଓ ମିଶନ ଶକ୍ତି ବିଭାଗ କର୍ମଚାରୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି।

ସେମାନଙ୍କର ନିଷ୍ଠାପର ଉଦ୍ୟମ ଦ୍ଵାରା ମମତା କାର୍ଯ୍ୟକ୍ରମ ସାରା ଦେଶରେ ଏକ ମଡେଲ ହୋଇପାରିଛି। ଓଡିଶାରେ ମିଶନ ଶକ୍ତି କାର୍ଯ୍ୟକ୍ରମ ସୁଦୃଢ ହେବା ସହିତ ମା ମାନଙ୍କ ସଶକ୍ତିକରଣ କାର୍ଯ୍ୟକ୍ରମ ଉଦାହରଣ ସୃଷ୍ଟି କରିଛି। ଏହିସବୁ ଭଲ କାମକୁ ଆଗକୁ ଜାରି ରଖିବା ସହିତ ଦୁର୍ନୀତିକୁ କୌଣସି ପରିସ୍ଥିତିରେ ପ୍ରଶୟ ନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗର କ୍ଷେତ୍ର କର୍ମଚାରୀ ମାନଙ୍କୁ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ହିତାଧିକାରୀଙ୍କ ସନ୍ତୋଷ ହେଉଛି ଯୋଜନାର ସବୁଠାରୁ ବଡ ସଫଳତା। ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦେବା ହେଉଛି ମୋ ସରକାର କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ। ଲୋକଙ୍କ ମତାମତ ଭିତ୍ତିରେ ହିଁ ସେବା ବ୍ୟବସ୍ଥାକୁ ଅଧିକ ଉନ୍ନତ କରିବା ପାଇଁ ଚେଷ୍ଟା କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିବା ସହିତ ଭଲ କାମ ପାଇଁ ପ୍ରଶଂସା ଓ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରକାଶ କରିଥିଲେ।

ମହିଳା ଓ ଶିଶୁ ବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ତାଙ୍କ ଭାଷଣରେ ମୋ ସରକାର କାର୍ଯ୍ୟକ୍ରମର ଉପାଦେୟତା ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ୍ କୁମାର ତ୍ରିପାଠୀ କହିଥିଲେ ଯେ ମୋ ସରକାର କାର୍ଯ୍ୟକ୍ରମ ସାରା ଦେଶରେ ଏକ ଅଭିନବ ପ୍ରୟାସ। ତେଣୁ ଏହାର ସଫଳ କାର୍ଯ୍ୟକାରିତା ଉପରେ ବିଶେଷ ଦୃଷ୍ଟି ଦେବା ପାଇଁ ଜିଲ୍ଲାପାଳ ମାନଙ୍କୁ ସେ ପରାମର୍ଶ ଦେଇଥିଲେ।

5T ସଚିବ ଶ୍ରୀ ଭି. କାର୍ତ୍ତୀକେୟ ପାଣ୍ଡିଆନ୍ ମହିଳା, ଶିଶୁବିକାଶ ଓ ମିଶନ୍ ଶକ୍ତି ବିଭାଗର କ୍ଷେତ୍ର କର୍ମଚାରୀ ମାନଙ୍କୁ ମୋ ସରକାର କାର୍ଯ୍ୟକ୍ରମ ସଂପର୍କରେ ବିସ୍ତୃତ ଭାବରେ ବୁଝାଇବା ସହିତ ଏହାର ବିଭିନ୍ନ ଦିଗ ସଂପର୍କରେ ମଧ୍ୟ ସେମାନଙ୍କ ସହିତ ଆଲୋଚନା କରିଥିଲେ। ବିଭିନ୍ନ ଅଙ୍ଗନବାଡିକୁ ଯୋଗାଇ ଦିଆଯାଉଥିବା ଛତୁଆ କାର୍ଯ୍ୟକ୍ରମରେ କେବଳ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ମାନଙ୍କୁ ସାମିଲ କରିବା ପାଇଁ ରାଜ୍ୟ ସରକାରଙ୍କର ନିର୍ଦ୍ଦେଶ ରହିଛି। ଏହାକୁ କଡାକଡି ଭାବରେ ପାଳନ କରିବା ପାଇଁ ସେ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ।

ସେହିପରି ଶିଶୁ ମାନଙ୍କ ଯତ୍ନ ନେଉଥିବା ବିଭିନ୍ନ ଅନୁଷ୍ଠାନ ମାନଙ୍କରେ Inspection Report ଓ Grant-in-Aid ପ୍ରଦାନ ତଥା ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଓ ଅନ୍ୟ Service Provider ମାନଙ୍କ ବିଲ୍ ମଞ୍ଜୁର ଏବଂ ମିଶନ ଶକ୍ତିର Revolving Fund, Infrastructure Fund ଆଦି ପ୍ରଦାନ କ୍ଷେତ୍ରରେ ହିତାଧିକାରୀଙ୍କୁ ହଇରାଣ ହରକତ ନ କରିବା ପାଇଁ ଶ୍ରୀ ପାଣ୍ଡିଆନ ସତର୍କ କରାଇ ଦେଇଥିଲେ। ଏହିସବୁ କାର୍ଯ୍ୟକ୍ରମ ବର୍ତ୍ତମାନ ମୋ ସରକାର କାର୍ଯ୍ୟକ୍ରମ ଅଧିନରେ ତଦାରଖ କରାଯିବ ବୋଲି ସେ ସୂଚନା ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ବିଭାଗୀୟ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ବିଭାଗୀୟ ଉପଦେଷ୍ଟାମାନେ, ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.