Home ଓଡ଼ିଶା ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ : ବାତ୍ୟା ପରବର୍ତ୍ତି ପରିସ୍ଥିତି ମୁକାବିଲା ଓ...

ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ : ବାତ୍ୟା ପରବର୍ତ୍ତି ପରିସ୍ଥିତି ମୁକାବିଲା ଓ ସଠିକ କ୍ଷୟକ୍ଷତି ଆକଳନ ଉପରେ ଗୁରୁତ୍ବ, ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ

114

ପୁରୀ- ୦୧.୧୨ (ଓଡ଼ିଆ ପୁଅ) – ବଙ୍ଗୋପ ସାଗର ଅଞ୍ଚଳରେ ସୃଷ୍ଟ ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ରହିଛି। ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଭର୍ଚ୍ୟୁଆଲ ମାଧ୍ୟମରେ ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନେଇ ଓସୱାନ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଜିଲ୍ଲାରେ ଥିବା ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ହୋଇ ରହିଛି। ଶୁଖିଲା ଖାଦ୍ୟ, ପାନୀୟ ଜଳ, ଔଷଧ, ପଶୁ ଖାଦ୍ୟ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ହୋଇ ରହିଛି। ଆବଶ୍ୟକ ସ୍ଥଳେ ନିରବଚ୍ଛିନ୍ନ ଯୋଗାଯୋଗ ନିମନ୍ତେ ଅଗ୍ନିଶମ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗ ଓ ଡାକ୍ତରୀ ଦଳ ପ୍ରସ୍ତୁତ ହୋଇ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାରେ ଜରୁରୀକାଳୀନ ସେବା ଯେପରି ଅବ୍ୟାହତ ରହିବ ସଜାଗ ରହିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି। ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ପ୍ରତି ବ୍ଲକରେ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ ରହିବ ଓ ସମସ୍ତ ସରକାରୀ ଅଧିକାରୀ ମାନଙ୍କ ଛୁଟି ବାତିଲ କରାଯାଇଛି। ଆସନ୍ନା ପ୍ରସବା ମାନଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯିବ। ବୟସ୍କ ବ୍ୟକ୍ତି ଓ ଶିଶୁ ମାନଙ୍କ ସ୍ବାସ୍ଥ୍ଯ ଓ ଯତ୍ନ ଉପରେ ବୈଠକରେ ଗୁରୁତ୍ବ ଦିଆଯାଇଛି। ଗୃହପାଳିତ ପଶୁ ମାନଙ୍କୁ ସୁରକ୍ଷିତ ସ୍ଥାନରେ ରଖାଯିବ। ସମସ୍ତ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀରେ କୋଭିଡ ନୀୟମ ପାଳନ କରିବାକୁ ପରାମର୍ଶ ଦିଆଯାଇଛି। ଆବଶ୍ୟକସ୍ଥଳେ ତଳିଆ ଅଞ୍ଚଳ, କଚ୍ଚାଘରୁ ଲୋକ ମାନଙ୍କୁ ସୁରକ୍ଷିତ ଅଞ୍ଚଳକୁ ସ୍ଥାନାନ୍ତରିତ କରିବା ନିମନ୍ତେ ପ୍ରସ୍ତୁତ ରହିବା ନିମନ୍ତେ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅମଳ ଶସ୍ୟକୁ କ୍ଷେତରୁ ନେଇ ସୁରକ୍ଷିତ ସ୍ଥାନରେ ରଖିବା ନିମନ୍ତେ କୃଷକ ବନ୍ଧୁ ମାନଙ୍କୁ ପରାମର୍ଶ ଦିଆଯାଇଛି। ଜିଲ୍ଲାର କେତେକ ଉପକୂଳବର୍ତ୍ତି ଅଞ୍ଚଳରେ ଡାକବାଜି ଯନ୍ତ୍ର ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଉଛି। ପ୍ରବଳ ବର୍ଷା ହେବା ଆଶଙ୍କା ଥିବାରୁ ଏହାର ପରବର୍ତ୍ତି ପରିସ୍ଥିତିର ମୁକାବିଲା ଏବଂ କ୍ଷୟକ୍ଷତି ରିପୋର୍ଟ ସଠିକ ଭାବେ ପ୍ରଦାନ କରିବାକୁ ଅଧିକାରୀ ମାନଙ୍କୁ କୁହାଯାଇଛି। ଖୁବ୍ ବେଗରେ ପବନ ବୋହିବା ଆଶଙ୍କା ଥିବାରୁ ମତ୍ସଜିବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ନିମନ୍ତେ ପରାମର୍ଶ ଦିଆଯାଇଛି।

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକ୍ଷକ ଡଃ କନୱାର ବିଶାଲ ସିଂ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମା, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର, ପୌରସଂସ୍ଥା ନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ବାଇଁ, ଜରୁରୀକାଳୀନ ଅଧିକାରୀ ଶ୍ରୀ ଜିତେନ୍ଦ୍ର କୁମାର ପାତ୍ର, ଯୋଗ‍ାଣ ଅଧିକାରୀ ଶ୍ରୀ ସୁବୋଧ ହୋତା, ବିଡିଓ ଓ ତହସିଲଦାର, ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.