Odiapua.com

ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ : ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ- ୨୫.୦୯ (ଓଡ଼ିଆ ପୁଅ) – ବଙ୍ଗୋପ ସାଗର ଅଞ୍ଚଳରେ ସୃଷ୍ଟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ରହିଛି। ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଭର୍ଚ୍ୟୁଆଲ ମାଧ୍ୟମରେ ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଜିଲ୍ଲାରେ ଥିବା ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ହୋଇ ରହିଛି। ଶୁଖିଲା ଖାଦ୍ୟ, ପାନୀୟ ଜଳ, ଔଷଧ, ପଶୁ ଖାଦ୍ୟ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ହୋଇ ରହିଛି। ଆବଶ୍ୟକ ସ୍ଥଳେ ନିରବଚ୍ଛିନ୍ନ ଯୋଗାଯୋଗ ନିମନ୍ତେ ଅଗ୍ନିଶମ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ବିଭାଗ ଓ ଡାକ୍ତରୀ ଦଳ ପ୍ରସ୍ତୁତ ହୋଇ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାରେ ଜରୁରୀକାଳୀନ ସେବା ଯେପରି ଅବ୍ୟାହତ ରହିବ ସଜାଗ ରହିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି। ପ୍ରତି ବ୍ଲକରେ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ ରହିବ ଓ ସମସ୍ତ ସରକାରୀ ଅଧିକାରୀ ମାନଙ୍କ ଛୁଟି ବାତିଲ କରାଯାଇଛି। ଆବଶ୍ୟକସ୍ଥଳେ ତଳିଆ ଅଞ୍ଚଳ, କଚ୍ଚାଘରୁ ଲୋକ ମାନଙ୍କୁ ସୁରକ୍ଷିତ ଅଞ୍ଚଳକୁ ସ୍ଥାନାନ୍ତରିତ କରିବା ନିମନ୍ତେ ପ୍ରସ୍ତୁତ ରହିବା ଏବଂ କ୍ଷୟକ୍ଷତି ରିପୋର୍ଟ ସଠିକ ଭାବେ ପ୍ରଦାନ କରିବାକୁ ଅଧିକାରୀ ମାନଙ୍କୁ କୁହାଯାଇଛି। ଆସନ୍ତା କାଲି ଅପରାହ୍ନରେ ଜିଲ୍ଲାରେ ଘଣ୍ଟାପ୍ରତି ୫୫ ରୁ ୬୦ କି.ମି. ବେଗରେ ପବନ ବହିବା ଆଶଙ୍କା ଥିବାରୁ ମତ୍ସଜିବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ନିମନ୍ତେ ପରାମର୍ଶ ଦିଆଯାଇଛି।

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଜରୁରୀକାଳୀନ ଅଧିକାରୀ ଶ୍ରୀ ଜିତେନ୍ଦ୍ର କୁମାର ପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ସୁଜାତା ମିଶ୍ର, ଯୋଗ‍ାଣ ଅଧିକାରୀ ଶ୍ରୀ ସୁବୋଧ ହୋତା, ବିଡିଓ ଓ ତହସିଲଦାର, ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।