Odiapua.com

ଆଜି ଦେବସ୍ନାନ ପୂର୍ଣ୍ଣିମା; ମହାପ୍ରଭୁଙ୍କ ଗଜାନନ ବେଶ: ୧୦୮ ଗରା ଜଳରେ ସମାପନ ହେବ ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନଲୀଳା

ଆଜି ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା। ଦେବସ୍ନାନ ପୂର୍ଣ୍ଣିମାକୁ ସ୍ନାନ ପୂର୍ଣ୍ଣିମା ବା ସ୍ନାନ ଯାତ୍ରା ମଧ୍ୟ କୁହାଯାଇଥାଏ। ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ ଦେବସ୍ନାନ ପୂର୍ଣ୍ଣିମା। ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସ ଜଳରେ ସ୍ନାନ କରାଯାଇଥାଏ। ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ। ବର୍ଷରେ ଏହିଦିନ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରିଥାଆନ୍ତି। ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଇଥାଏ। ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ।

ସ୍ନାନ ନିମନ୍ତେ କାହା ପାଇଁ କେତେ ଗରା ଜଳ –
ଦାରୁବ୍ରହ୍ମଙ୍କ ଲୀଳାକ୍ଷେତ୍ର ପୁରୁଷୋତ୍ତମ କ୍ଷେତ୍ର ପୁରୀରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ବା ମଞ୍ଚସ୍ନାନ ଏକ ଶାସ୍ତ୍ରୀୟ ଭିତ୍ତ ଭୂମିର ଲୀଳା। ମହାପ୍ରଭୁଙ୍କ ଆବିର୍ଭାବ ପରେ ପ୍ରଥମେ ଏହି ସ୍ନାନ ହୋଇଥିବାରୁ ଦାରୁବ୍ରହ୍ମଙ୍କ ଆଦ୍ୟଲୀଳା ବୋଲି କୁହାଯାଏ। ମହାପ୍ରଭୁ ଦାରୁବ୍ରହ୍ମ ରୂପ ଧାରଣ କରିବା ପରେ ପ୍ରଥମ ମଙ୍ଗଳମୟ ମୁହୂର୍ତ୍ତରେ ମହାରାଜା ଇନ୍ଦ୍ରଦ୍ୟୁମ ଏହି ସ୍ନାନଲୀଳା କରାଇଥିଲେ ବୋଲି କଥିତ ଅଛି। ସେତେବେଳେ ସ୍ନାନମଣ୍ଡପ ନଥିବାରୁ ଏକ କାଠର ମଞ୍ଚ ନିର୍ମାଣ କରାଯାଇ ତାହାରି ଉପରେ ସ୍ନାନବିଧି ସମାପନ ହୋଇଥିଲା। ସେଥିପାଇଁ ଅନେକ ଶାସ୍ତ୍ରରେ ଏହା ମଞ୍ଚସ୍ନାନ ବୋଲି ଉଲ୍ଲେଖ ହୋଇଛି। ଶାସ୍ତ୍ରମତରେ ୧୦୮ ସୁନା କଳସରେ ଅଭିମନ୍ତ୍ରିତ ପବିତ୍ର ଜଳରେ ଦାରୁବ୍ରହ୍ମଙ୍କ ଆଦ୍ୟ ସ୍ଥାନଲୀଳା ସମାପନ ହୋଇଥିଲା। ସେହି ଶାସ୍ତ୍ରୀୟ ମତକୁ ଅନୁସରଣ କରି ଆଜି ବି ସେହିପରି ସ୍ନାନଯାତ୍ରା ଅନୁଷ୍ଠିତ ହେଉଅଛି। ୧୦୮ ଗରା ଜଳ ମଧ୍ୟରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଏବଂ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ। ଏହାକୁ ପ୍ରତ୍ୟେକ୍ଷ ଅବକାଶ କୁହାଯାଏ। ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ ପରେ ଗଜାନନ ବେଶରେ ସଜ୍ଜିତ ହୁଅନ୍ତି।

ଅଣସର: ଠାକୁର ପଡ଼ିବେ ଜ୍ଵରରେ –
ଏହାପରେ ଠାକୁରମାନେ ଶ୍ରୀମନ୍ଦିରକୁ ଗୋଟି ପହଣ୍ଡିରେ ଫେରନ୍ତି। ଭିତର କାଠପାଖ ଅଣସର ପିଣ୍ଡିରେ ଠାକୁରମାନେ ବିଜେ କରିବାପରେ ତାଟି ବନ୍ଧାଯାଏ ଏବଂ ପଟିମୂର୍ତି ସ୍ଥାପନା କରାଯାଏ। ଏହାପରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନପୂର୍ଣ୍ଣିମା ଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଦିର୍ଘ ୧୫ ଦିନ ଧରି ଜ୍ୱରରେ ପଡ଼ନ୍ତି। ଏହାକୁ ଅଣସର କୁହାଯାଏ। ଏହି ୧୫ ଦିନ ଭକ୍ତମାନେ ଜିଉମାନଙ୍କର ଦର୍ଶନ ପାଆନ୍ତି ନାହିଁ। ଏହି ସମୟରେ ଭକ୍ତମାନେ ନିକଟସ୍ଥ ବ୍ରହ୍ମଗିରିରେ ଅଲାରନାଥଙ୍କୁ ଦର୍ଶନ କରନ୍ତି।
– ଦେବଦତ୍ତ ରଥ