।।କୃଷ୍ଣାୟ ବାସୁଦେବାୟ ଦେବକୀ ନନ୍ଦନାୟଚ,
ନନ୍ଦଗୋପ କୁମାରାୟ ଗୋବିନ୍ଦାୟ ନମୋନମଃ।।
ଆଜି ପବିତ୍ର ଜନ୍ମାଷ୍ଟମୀ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମ। ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଦିବସକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାଆନ୍ତି। ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ଜନ୍ମାଷ୍ଟମୀ ପାଳନ କରାଯାଏ। ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି। ଶ୍ରୀମଦ୍ଭଗବଦ ଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନେଇଥାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ। ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ। ଦ୍ୱାପର ଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ମାନବ ରୂପରେ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଧରାବତରଣ କରିଥିଲେ ଭଗବାନ ବିଷ୍ଣୁ। ଏହା ଥିଲା ଭଗବାନ ବିଷ୍ଣୁଙ୍କ କୃଷ୍ଣ ଅବତାର। କଂସ ଦ୍ୱାରା ବନ୍ଦୀ ଭଗ୍ନୀ ଦେବକୀଙ୍କ ଗର୍ଭରୁ ବନ୍ଦିଶାଳାରେ ଅର୍ଧ ରାତ୍ରୀରେ ରୋହିଣୀ ନକ୍ଷତ୍ର ବୃଷ ରାଶିର ସଂଯୋଗ ସମୟରେ କୃଷ୍ଣ ଜନ୍ମ ଲାଭ କରିଥିଲେ। ବନ୍ଦିଶାଳାରେ ଦିବ୍ୟବାଣୀ ମାଧ୍ୟମରେ ଦେବକୀ ଏବଂ ବସୁଦେବଙ୍କୁ ଭଗବାନ ବିଷ୍ଣୁ ଜଣାଇ ଦେଇଥିଲେ ତାଙ୍କର ଧରାବତରଣ ଉଦ୍ଦେଶ୍ୟ। ସେ ଦୁଷ୍ଟଶକ୍ତିର ବିନାଶ ଓ ଧର୍ମ ପ୍ରତିଷ୍ଠା ନିମନ୍ତେ ମାନବ ରୂପ ଧାରଣ କରିଛନ୍ତି ଏବଂ ତାଙ୍କର ମାନବ ଲୀଳା ହିଁ ପୃଥିବୀରୁ ସମସ୍ତ ପ୍ରକାର କଳୁଷ ନାଶ କରିପାରିବ। ସଂସାରକୁ କଂସର ଅତ୍ୟାଚାରରୁ ମୁକ୍ତ କରିବା ନିମନ୍ତେ ବ୍ରହ୍ମାଙ୍କ ସହ ଦେବଗଣଙ୍କ ଅନୁରୋଧ ରକ୍ଷାକରି ସେ ଜନ୍ମ ନେଇଥିଲେ। ଗୋପରେ ନନ୍ଦରାଜାଙ୍କ ଘରେ ବାଲ୍ୟଲୀଳା କରିବେ, ରାକ୍ଷସ ନିପାତ ପାଇଁ ତାଙ୍କୁ ନନ୍ଦରାଜାଙ୍କ ଘରେ ରହିବାକୁ ପଡ଼ିବ। ତେଣୁ, ସମସ୍ତଙ୍କ ଅଗୋଚରରେ ସେଠାରେ ଜନ୍ମ ନେଇଥିବା ବିଜୁଳୀ କନ୍ୟାକୁ ବନ୍ଦୀଶାଳାକୁ ଆଣି ତାଙ୍କୁ ନେଇ ଗୋପପୁରରେ ନନ୍ଦରାଜାଙ୍କ ଘରେ ଛାଡ଼ିଦେଇ ଆସିବାକୁ ଭଗବାନ ବିଷ୍ଣୁ ଦିବ୍ୟବାଣୀ ମାଧ୍ୟମରେ ଜଣାଇ ଦେଇଥିଲେ। ପରଂବ୍ରହ୍ମଙ୍କ ଆଜ୍ଞାକୁ ମାନି ପିତା ବସୁଦେବ ନବଜାତ ପୁତ୍ରକୁ କୋଳରେ ଧରି ଅନ୍ଧାର ରତିରେ ବାହାରିଲେ। ବନ୍ଦିଶାଳା ଦିବ୍ୟ ଆଲୋକରେ ଆଲୋକିତ ହେଇଗଲା, ବସୁଦେବଙ୍କ ଗୋଡ଼ରୁ ବେଡ଼ି ଖୋଲିଗଲା ଏବଂ ବନ୍ଦିଶାଳାର ଦ୍ୱାର ମଧ୍ୟ ଆପେଆପେ ଖୋଲିଗଲା। ପ୍ରବଳ ବର୍ଷା ସାଙ୍ଗକୁ ଅନ୍ଧାର ରାତିରେ ବସୁଦେବ ପୁତ୍ରକୁ ନେଇ ଉଛୁଳି ଉଠୁଥିବା ଯମୁନା ନଦୀ ପାର ହେଇ ଗୋପପୁର ଗଲେ। ପ୍ରଭୁ ବର୍ଷାରେ ତିନ୍ତି ଯାଉଥିବାରୁ ବାଟରେ ନାଗରାଜା ଅନନ୍ତ ବାସୁକି ନିଜର ବିଶାଳ ଫଣା ଢାଙ୍କି ଚାଲିଲେ। ସବୁ ବାଧାବିଘ୍ନ ଅତିକ୍ରମ କରି ଶ୍ରୀକୃଷ୍ଣଙ୍କୁ ନେଇ ନନ୍ଦରାଜାଙ୍କ ଘରେ ଛାଡିଥିଲେ ବସୁଦେବ। ପ୍ରଭୁ ଶ୍ରୀକୃଷ୍ଣଙ୍କ ଏହି ପବିତ୍ର ଜନ୍ମ ଦିବସକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ।
ଅବତାର ଅର୍ଥ ଅବତୀର୍ଣ୍ଣ ହେବା, ଭକ୍ତମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ, ଚକ୍ର, ଗଦା, ପଦ୍ମଧାରୀ ସ୍ଵରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ଵଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା, ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ। ମାନବ ଜାତିର ଉନ୍ନତିକଳ୍ପେ ଭଗବାନ ଶ୍ରୀକୃଷ୍ଣ ଭିନ୍ନ ଭିନ୍ନ ଭୂମିକାରେ ଅବତୀର୍ଣ୍ଣ ହେଇ ଲୀଳା କରିଥିଲେ। ମହାଭାରତ ଯୁଦ୍ଧକୁ ଏଡେଇବା ପାଇଁ ଶାନ୍ତିର ବାର୍ତ୍ତାନେଇ ଦୁର୍ଯ୍ୟୋଧନଙ୍କ ନିକଟକୁ ଗମନ କରିଥିଲେ।ଏଠାରେ ପଂରବ୍ରହ୍ମ ଶ୍ରୀକୃଷ୍ଣ ଶାନ୍ତିଦୂତର ଭୂମିକା ନିଭାଇ ଥିଲେ। ମହାଭାରତ ଯୁଦ୍ଧକ୍ଷେତ୍ରରେ ଅର୍ଜୁନଙ୍କ ରଥର ସାରଥୀହେଇ ରଥକୁ ସୁଚାରୁ ରୂପେ ଚାଳନା କରିଥିଲେ। ଯୁଦ୍ଧର ପ୍ରାରମ୍ଭରେ ନିଜର ଜ୍ଞାତି କୁଟୁମ୍ବମାନଙ୍କୁ ଅବଲୋକନ କରି ଅର୍ଜୁନଙ୍କ ମନରେ ବିଷାଦ ଆସିଥିଲା ଓ ଯୁଦ୍ଧ ନକରିବା ପାଇଁ ଶ୍ରୀକୃଷ୍ଣଙ୍କୁ ମନା କରିଦେଇଥିଲେ। ଏଠାରେ ଭଗବାନ ଗୁରୁ ରୂପରେ ଅବତୀର୍ଣ୍ଣ ହେଇ ଅର୍ଜୁନଙ୍କୁ ଗୀତାଜ୍ଞାନ ପ୍ରଦାନ କରି ଧର୍ମସ୍ଥାପନ ପାଇଁ ଯୁଦ୍ଧ କରିବାଲାଗି ତାଙ୍କୁ ମନେଇବାରେ ସକ୍ଷମ ହେଇଥିଲେ। କୂଟନୀତି ପ୍ରୟୋଗ କରି ପାଣ୍ଡବମାନଙ୍କୁ ଯୁଦ୍ଧରେ ଜିତାଇଥିଲେ। ଶ୍ରୀକୃଷ୍ଣଙ୍କୁ ବିଚକ୍ଷଣ କୂଟନୀତିଜ୍ଞ ରୂପରେ ମାନ୍ୟତା ଦିଆଯାଏ। ମହାଭାରତ ଯୁଦ୍ଧରେ ଅର୍ଜୁନଙ୍କୁ ନିମିତ୍ତମାତ୍ର କରି ମାନବ ସମାଜକୁ ଯେଉଁ ସାଂଖ୍ୟଯୋଗ, କର୍ମଯୋଗ, ଜ୍ଞାନଯୋଗ ଓ ଭକ୍ତିଯୋଗ ଶିକ୍ଷା ପ୍ରଦାନ କରିଛନ୍ତି। ତାହାକୁ ପାଥେୟ କରି ବିଷୟାସକ୍ତ ଅଜ୍ଞାନ ଜୀବ ନିଜର ସାଧାରଣ ଜୀବନରେ ବାସ୍ତବ ସମସ୍ୟାକୁ ଉପଲବ୍ଧି କରି ନିଜକୁ ଉଦ୍ଧାର କରୁଛନ୍ତି। ଏହା ଭଗବତ ଗୀତା ନାମରେ ବିଶ୍ଵ ବିଖ୍ୟାତ। ଭଗବତ ଗୀତା ବିଶ୍ଵ ସାହିତ୍ୟ ଭଣ୍ଡାରରେ ଏକ ଅନନ୍ୟ ସ୍ଥାନ ଅଧିକାର କରିଛି। ଏଥିରେ ରଚିତ ହେଇଥିବା ଭଗବାନ ଶ୍ରୀକୃଷ୍ଣଙ୍କର ମୁଖନିଃସୃତ ବାଣୀ ଦିବ୍ୟ ଓ ସନାତନ।
/-ଦେବଦତ୍ତ ରଥ