Home Top News ଶାରଦୀୟ ଅଭିନନ୍ଦନ: ମା’ ଦୁର୍ଗାଙ୍କର ନଅ ରୂପ ..

ଶାରଦୀୟ ଅଭିନନ୍ଦନ: ମା’ ଦୁର୍ଗାଙ୍କର ନଅ ରୂପ ..

39

।।ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।।

ଶୈଳପୁତ୍ରୀ –
ଆଦିଶକ୍ତିର ପ୍ରଥମ ସ୍ୱରୂପା ଶୈଳପୁତ୍ରୀଙ୍କ ଉପାସନା ସହ ନବରାତ୍ରର ଆରମ୍ଭ ହୋଇଥାଏ। ପୌରାଣିକ ମତେ ହିମାଳୟଙ୍କ ତପସ୍ୟା ଓ ପ୍ରାର୍ଥନା ଦ୍ୱାରା ପ୍ରସନ୍ନ ହୋଇ ଦେବୀ ତାଙ୍କର କନ୍ୟା ଭାବେ ଜନ୍ମ ନେଇଥିଲେ। ଏହିଦିନ ଭକ୍ତ ଓ ସାଧକ ନିଜର ମନକୁ ମୂଳାଧାର ଚକ୍ରରେ ଅବସ୍ଥାନ କରି ଉପାସନା କରିଥାଆନ୍ତି।

ବ୍ରହ୍ମଚାରିଣୀ –
ବ୍ରହ୍ମଚାରିଣୀ ସ୍ୱରୂପରେ ନବରାତ୍ରର ଦ୍ୱିତୀୟ ଦିବସରେ ମା’ ଦୁର୍ଗାଙ୍କୁ ଭକ୍ତମାନେ ଉପାସନା କରିଥାଆନ୍ତି। ମା’ଙ୍କର ଅନ୍ୟ ଦୁଇନାମ ହେଲା ଅପର୍ଣ୍ଣା ଓ ଉମା। ଦେବୀଙ୍କ ଏହି ରୂପ ତପସ୍ୟାର ତେଜରେ ତେଜୋଦୀପ୍ତ ହୋଇଥାଏ। ତାଙ୍କ ଡାହାଣ ହାତରେ ମନ୍ତ୍ର ଜପାମାଳି ଓ ବାମ ହାତରେ କମଣ୍ଡଳୁ ଶୋଭାପାଏ। ଭକ୍ତ ନିଜ ମନକୁ ସ୍ୱାଧିଷ୍ଠାନ ଚକ୍ରରେ ଅବସ୍ଥାପିତ କରି ଆରାଧନା କରିଥାଆନ୍ତି।

ଚିତ୍ରଘଣ୍ଟା –
ଏହା ଦେବୀଙ୍କ ଉଗ୍ରରୂପ। ଦେବୀ ଦଶଭୂଜା ଓ ବ୍ୟାଘ୍ର/ ସିଂହ ଉପରେ ବିରାଜମାନ ହୋଇଥାଆନ୍ତି। ଅନେକ ଅସ୍ତ୍ରଶସ୍ତ୍ରରେ ସଜ୍ଜିତା ଦେବୀଙ୍କର ମୁଦ୍ରା ଯୁଦ୍ଧାଭିମୁଖୀ ହୋଇଥାଏ।

କୁଷ୍ମାଣ୍ଡା –
ପୌରାଣିକ ମତେ ଦେବୀଙ୍କ ହସରୁ ବ୍ରହ୍ମାଣ୍ଡ ସୃଷ୍ଟି। ଭକ୍ତ ନିଜ ମନକୁ ଅନାହତ ଚକ୍ରରେ ଅବସ୍ଥାପିତ କରି ଆରାଧନା କରିଥାଆନ୍ତି। ଏହି ରୂପରେ ଦେବୀ ଅଷ୍ଟଭୂଜା ଓ ହାତରେ କମଣ୍ଡଳୁ, ଧନୁ, କମଳ, ଅମୃତ କଳସ, ଚକ୍ର, ଗଦା ଓ ଜପାମାଳି ଧାରଣ କରିଥାଆନ୍ତି।

ସ୍କନ୍ଦମାତା –
ନବରାତ୍ର ପଞ୍ଚମ ଦିବସରେ ଦେବୀଙ୍କୁ ସ୍କନ୍ଦମାତା ସ୍ୱରୂପରେ ଉପାସନା କରାଯାଏ। କୁମାର କାର୍ତ୍ତିକେୟଙ୍କ ମାତା ହୋଇଥିବାରୁ ତାଙ୍କୁ ସ୍କନ୍ଦମାତା କୁହାଯାଏ। ଦେବୀ ଚତୁର୍ଭୂଜା ଓ ସିଂହ ଉପରେ ବିରାଜମାନ। ଏହି ରୂପରେ ମାତା ପୁତ୍ର ସ୍କନ୍ଦକୁ କୋଳରେ ବସାଇଥାଆନ୍ତି।

କାତ୍ୟାୟନୀ –
ନବରାତ୍ର ଷଷ୍ଠ ଦିବସରେ ଦେବୀଙ୍କୁ କାତ୍ୟାୟନୀ ସ୍ୱରୂପରେ ଉପାସନା କରାଯାଏ। ମହର୍ଷି କାତ୍ୟାୟନଙ୍କ ତପସ୍ୟାରେ ସନ୍ତୁଷ୍ଟ ହୋଇ ଦେବୀ ତାଙ୍କର କନ୍ୟା ରୂପରେ ଜନ୍ମ ହୋଇଥିଲେ। ସେହି ଅନୁଯାୟୀ ଦେବୀଙ୍କ ନାମ କାତ୍ୟାୟନୀ। ଭଗବାନ କୃଷ୍ଣଙ୍କୁ ପତି ରୂପେ ପାଇବାକୁ ବ୍ରଜଗୋପୀମାନେ ଦେବୀ କାତ୍ୟାୟନୀଙ୍କୁ ଆରାଧନା କରିଥିଲେ।

କାଳରାତ୍ରୀ –
ନବରାତ୍ର ସପ୍ତମ ଦିବସରେ ଦେବୀଙ୍କୁ ଏହି ସ୍ୱରୂପରେ ଉପାସନା କରାଯାଏ। ଏହା ଦେବୀଙ୍କ ବିକଟାଳ ରୂପ। ଏହି ରୂପରେ ତ୍ରୀନେତ୍ର ଧାରିଣୀ, ଶରୀରର ବର୍ଣ୍ଣ ଅନ୍ଧକାର ଭଳି ଗାଢ଼ କଳା ଚତୁର୍ଭୁଜା ଦେବୀ ଗର୍ଦଭ ଉପରେ ଆରୁଢ ହୋଇ ହାତରେ ଲୌହ ଖଡ୍ଗ ଧାରଣ କରିଥାଆନ୍ତି।

ମହାଗୌରୀ –
ନବରାତ୍ର ଅଷ୍ଟମ ଦିବସରେ ଦେବୀଙ୍କୁ ମହାଗୌରୀ ସ୍ୱରୂପରେ ଉପାସନା କରାଯାଏ। ଏହା ଦେବୀଙ୍କ ସୌମ୍ୟ ରୂପ। ଏହି ରୂପରେ ବୃଷଭ ବାହିନୀ ଦେବୀଙ୍କ ଶରୀରର ବର୍ଣ୍ଣ ଗୌର। ଶ୍ୱେତବସ୍ତ୍ର ପରିହିତା ଦେବୀ ଚତୁର୍ଭୂଜା ଓ ଦୁଇ ହାତରେ ଡମ୍ବରୁ ଓ ତ୍ରିଶୁଳ ଧାରଣ କରିଥାଆନ୍ତି। ଅନ୍ୟ ଦୁଇ ହାତରେ ଅଭୟ ପ୍ରଦାନ କରିଥାଆନ୍ତି।

ସିଦ୍ଧିଦାତ୍ରୀ –
ନବରାତ୍ରର ନବମ ବା ଶେଷ ଦିବସରେ ଦେବୀଙ୍କୁ ସିଦ୍ଧିଦାତ୍ରୀ ସ୍ୱରୂପରେ ଉପାସନା କରାଯାଏ। ଏହି ରୂପରେ ପଦ୍ମାସନା ଦେବୀ ଚତୁର୍ଭୂଜା ଓ ହାତରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିଥାଆନ୍ତି। ତାଙ୍କର ବାହାନ ସିଂହ ଭାବେ ଦର୍ଶାଯାଇଥିବା ବେଳେ ସେ ପଦ୍ମ ଉପରେ ଉପବେଶନ କରିଥାନ୍ତି। ସିଦ୍ଧିଦାତ୍ରୀଙ୍କ ପୂଜା ସହିତ ନବରାତ୍ରରେ ନବଦୁର୍ଗା ପୂଜା ସମ୍ପୂର୍ଣ୍ଣ ହୋଇଥାଏ।
[email protected]

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.