Home ଓଡ଼ିଶା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ (୧୮୭୭–୧୯୨୮)

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ (୧୮୭୭–୧୯୨୮)

325

“ମିଶୁ ମୋର ଦେହ ଏ’ ଦେଶ ମାଟିରେ
ଦେଶବାସୀ ଚାଲି ଯାଆନ୍ତୁ ପିଠିରେ,
ଦେଶର ସ୍ଵରାଜ୍ୟ ପଥେ ଯେତେ ଗାଢ଼
ପୁରୁ ତହିଁ ପଡି ମୋର ମାଂସ ହାଡ଼”
-ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ

ଉତ୍କଳମଣି ଗୋପବନ୍ଧୁ ଦାସ। ଜଣେ ସ୍ୱାଧିନତା ସଂଗ୍ରାମୀ, କବି, ଲେଖକ ଭାବରେ ପରିଚିତ। ଦୈନିକ ଖବର କାଗଜ ସମାଜ ଏବଂ ସତ୍ୟବାଦୀ ପତ୍ରିକାର ପ୍ରତିଷ୍ଠାତା ଥିଲେ ଗୋପବନ୍ଧୁ ଦାସ। ପଣ୍ଡିତ ଗୋପବନ୍ଧୁ ଦାସ ୧୮୭୭ ମସିହା ଅକ୍ଟୋବର ମାସ ୯ ତାରିଖରେ ପିତା ଦୈତାରି ଦାସ ଓ ମାତା ସ୍ୱର୍ଣ୍ଣମୟୀ ଦେବୀଙ୍କ ସନ୍ତାନ ଭାବେ ପୁରୀ ଜିଲ୍ଲାର ସୁଆଣ୍ଡୋ ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ। ମାତାଙ୍କ ମୃତ୍ୟୁ ପରେ, ୧୮୯୩ ମସିହାରେ ପୁରୀ ଜିଲ୍ଲା ସ୍କୁଲରେ ନାମ ଲେଖାଇଲେ। ସେଠାରେ ତାଙ୍କର ଗୁରୁ ମୁକ୍ତିଆର ରାମଚନ୍ଦ୍ର ଦାସଙ୍କ ସହିତ ପରିଚୟ ହେଲା, ଯାହଙ୍କ ଠାରୁ ପରେ ସେ ଦେଶ ସେବାର ଶିକ୍ଷା ପାଇଥିଲେ। ଗୋପବନ୍ଧୁଙ୍କ ଦ୍ୱାରା ସେତେବେଳେ, ହଇଜା ରୋଗରେ ପୀଡ଼ିତ ଲୋକମାନଙ୍କର ସେବା ପାଇଁ ପୁରୀ ସେବା ସମିତି ପ୍ରତିଷ୍ଠା କରାଯାଇଥିଲା। ପୁରୀ ସେବା ସମିତି ଗଠନ କରି, ସେ ଆପଣା ଜୀବନକୁ ବିପନ୍ନ କରି ସାଥୀମାନଙ୍କ ସହ ରୋଗୀସେବା, ପରିବେଶ ପରିଚ୍ଛନ୍ନ ଓ ଶବସଂସ୍କାର ଇତ୍ୟାଦି କାମରେ ଲାଗିପଡ଼ିଥିଲେ। ଗୋପବନ୍ଧୁ ମାତ୍ର ୧୨ ବର୍ଷ ବୟସରେ ଅପତୀ ଦେବୀଙ୍କୁ ବିବାହ କରିଥିଲେ। ବିବାହ ପରେ ମଧ୍ୟ ସେ ପାଠ ପଢ଼ା ଜାରି ରଖିଥିଲେ। ପୁରୀରୁ ମାଟ୍ରିକ ପାସ କରି କଟକର ରେଭେନ୍ସା ମହାବିଦ୍ୟାଳୟରେ ଅଧ୍ୟୟନ କଲେ। ଏହି ସମୟରେ ତାଙ୍କର ପିତୃ ବିୟୋଗ ଘଟିଥିଲା। କଟକରେ ଅଧ୍ୟୟନ ସମୟରେ ଓଡ଼ିଆ ଭାଷାର ବିଲୋପ ଚକ୍ରାନ୍ତ ବିରୋଧରେ ଆନ୍ଦୋଳନ ଆରମ୍ଭ ହୋଇଥିଲା। ଗୋପବନ୍ଧୁ, “କର୍ତ୍ତବ୍ୟ ବୋଧିନୀ ସମିତି” ଗଠନ କରି ଓଡ଼ିଆ ଭାଷା ବିଲୋପର ତୀବ୍ର ପ୍ରତିବାଦ କଲେ।ତାଙ୍କ ଆହ୍ୱାନ ଥିଲା, ‘ପ୍ରତ୍ୟେକ ବ୍ୟକ୍ତି ଓ ଜାତିର ପରିଚୟ ହେଉଛି ତାହାର ଭାଷା। ଭାଷା ହିଁ ଜାତିର ପ୍ରାଣ ସ୍ପନ୍ଦନ। ରମ୍ଭାଠାରେ ରାମଚନ୍ଦ୍ର ଦାଶ ଓ ଗୋପବନ୍ଧୁଙ୍କ ଉଦ୍ୟମରେ ଉତ୍କଳ ସମ୍ମିଳନୀର ପ୍ରଥମ ଅଧିବେଶନ ଅନୁଷ୍ଠିତ ହେଲା। ୧୯୦୩ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଦ୍ୱାରା ଆହୂତ ଉତ୍କଳ ସମ୍ମିଳନୀରେ ଗୋପବନ୍ଧୁ ସକ୍ରିୟ ଅଂଶଗ୍ରହଣ କରିଥିଲେ। ଏହି ସମୟରେ, ତାଙ୍କର ପ୍ରଥମ ପୁତ୍ର ସନ୍ତାନର ମୃତ୍ୟୁ ଘଟିଥିଲା। ଏହିପରି ନାନାଦି ବାଧାବିଘ୍ନ ସତ୍ତ୍ୱେ ସେ ୧୯୦୪ ମସିହାରେ ରେଭେନ୍ସା ମହାବିଦ୍ୟାଳୟରୁ ବିଏ ପାସ କଲେ ଓ କଲିକତାରେ ବିଏଲ ପଢ଼ିଲେ। ସେଠାରେ ପ୍ରବାସୀ ଓଡ଼ିଆଙ୍କ ଦୁଃଖ ଦୁର୍ଦ୍ଦଶାରେ ବ୍ୟଥିତ ହୋଇ, ସେ ‘ଓଡ଼ିଆ ଶ୍ରମିକ ସଂଘ’ ଏବଂ ‘ସାନ୍ଧ୍ୟ ବିଦ୍ୟାଳୟ’ ପ୍ରତିଷ୍ଠା କରିଥିଲେ। ଇତି ମଧ୍ୟରେ ତାଙ୍କର ଦ୍ୱିତୀୟ ପୁତ୍ରଟିର ମଧ୍ୟ ମୃତ୍ୟୁ ଘଟିଥିଲା। ଏପରିକି, ଯେଉଁଦିନ ସେ ବିଏଲ ପାସ କରିଛନ୍ତି ବୋଲି ଖବର ପାଇଥିଲେ, ସେହିଦିନ ତାଙ୍କୁ ନିଜ ପତ୍ନୀଙ୍କର ମୃତ୍ୟୁ ସମ୍ବାଦ ମଧ୍ୟ ମିଳିଥିଲା। ଏତେ ସବୁ ଦୁଃଖ, କିନ୍ତୁ ତାଙ୍କୁ ନିଜ କର୍ମରୁ ବିଚ୍ୟୁତ କରି ପାରିନଥିଲା। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ତାଙ୍କର ଯୋଗଦାନ ଅତୁଳନୀୟ ରହିଥିଲା।

“କାତରତା ସିନା କାପୁରୁଷ ପଣ,
ବୀର ମାରେ ଅବା ମରେ କରି ରଣ,
ପଛ ଘୁଞ୍ଚା ନାହିଁ ବୀର ର ଯାତକେ,
ନ ମରେ ସେ କେବେ ପରାଣ ଆତଙ୍କେ”
– ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ

ଆଧୁନିକ ଯୁଗର ପଞ୍ଚସଖା ମାନଙ୍କ ମଧ୍ୟରେ ସେ ଅନ୍ୟତମ ଥିଲେ। ଭକ୍ତକବି, ମଧୁସୂଦନ ରାଓଙ୍କ ନିଷ୍ପତି କ୍ରମେ, ଗୋପବନ୍ଧୁ ସାକ୍ଷୀଗୋପାଳର ବକୁଳ ଓ ଛୁରିଆନା କୁଞ୍ଜରେ ସତ୍ୟବାଦୀ ବନ ବିଦ୍ୟାଳୟ ପ୍ରତିଷ୍ଠା କରିଥିଲେ। ଏହି ବିଦ୍ୟାଳୟରୁ ସେତେବେଳେ ଜାତୀୟ ସ୍ୱାଧୀନତା ଆନ୍ଦୋଳନ ପରିଚାଳିତ ହେଉଥିଲା। ୧୯୧୮ରୁ ୧୯୨୦ ମଧ୍ୟରେ ଓଡ଼ିଶାରେ ଘଟିଥିବା ବନ୍ୟା, ମରୁଡ଼ି, ଦୁର୍ଭିକ୍ଷ ଓ ଅନାବୃଷ୍ଟି ତାଙ୍କୁ ମର୍ମାହତ କରିଥିଲା। ସେ ଚୁଡ଼ା, ଚାଉଳ ଧରି ପ୍ରପୀଡ଼ିତ ଅଞ୍ଚଳରେ ବାଣ୍ଟିବା ସହ ମାନବ ସେବାରେ ଲାଗି ପଡ଼ିଥିଲେ। ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରରୋଚନାରେ ଗୋପବନ୍ଧୁ ୧୯୧୭ରୁ ୧୯୨୧ ପର୍ଯ୍ୟନ୍ତ ବିହାର – ଓଡ଼ିଶା ବିଧାନ ସଭାର ସଦସ୍ୟ ରୂପେ ନିର୍ବାଚିତ ହୋଇଥିଲେ। ୧୯୨୧ ମସିହାରେ ଗୋପବନ୍ଧୁ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ପ୍ରଥମ ଅଧ୍ୟକ୍ଷ ହୋଇଥିଲେ।

ଗୋପବନ୍ଧୁଙ୍କ କିଛି ସାହିତ୍ୟ ସର୍ଜନା –
– ଧର୍ମପଦ
– ଭାର୍ଗବୀ ପ୍ରତି
– ଗୋମହାତ୍ମ୍ୟ
– ବ୍ରହ୍ମତତ୍ତ୍ୱ
– ବନ୍ଦୀର ଆତ୍ମକଥା
– କାରାକବିତା
– ଅବକାଶଚିନ୍ତା
ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମ ଜୟନ୍ତୀ ଅବସରରେ ଭକ୍ତିପୂତ ନମନ।
“ନିଜ ସୁଖ ଲାଗି ଜାତ ନୁହେଁ ହିନ୍ଦୁ,
ବିଶ୍ୱ ହିତେ ହିନ୍ଦୁ ପ୍ରତି ରକ୍ତବିନ୍ଦୁ”
/- ଦେବଦତ୍ତ ରଥ

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.